ଆଦିବାସୀ ମେଳାର ଶୋଭା ପାଉଛି ଆଦିବାସୀ ଗାଁ ଓ ହାଟ
ଆଦିବାସୀ ମେଳାର ମଜା ନେଉଛନ୍ତି ଦର୍ଶକ, ସହର ମଧ୍ୟରେ ଶୋଭା ପାଉଛି ଆଦିବାସୀ ଗାଁ ଓ ହାଟ
ଭୁବନେଶ୍ୱର:ଓଡିଶାର ଜନଜାତିଙ୍କ ଜୀବନଜୀବିକା, କଳା, ସଂସ୍କୃତି ଓ ପରମ୍ପରାକୁ ନେଇ ଆୟୋଜିତ ହୋଇଛି ଆଦିବାସୀ ମେଳା ୨୦୨୪ । ଗତକାଲି ତଥା ଜାନୁଆରୀ ୨୬ ତାରିଖରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଆଭାସୀ ମାଧ୍ୟମରେ ଯୋଗ ଦେଇ ଆଦିବାସୀ ମେଳାର ଉଦଘାଟନ କରିବା ସହ ଶୁଭେଚ୍ଛା ବାର୍ତ୍ତା ଜଣାଇଛନ୍ତି । ଏହି ମେଳାର ଉଦଘାଟନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ତଥା ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାମ ବିଭାଗ ମନ୍ତ୍ରୀ ଜଗନ୍ନାଥ ସାରକା ଯୋଗଦେଇଥିବା ବେଳେ ସମାରୋହରେ ସମ୍ମାନନୀୟ ଅତିଥି ଭାବେ ବିଭାଗୀୟ କମିଶନର ତଥା ଶାସନ ସଚିବ ରୂପାରୋଶନ ସାହୁ ଯୋଗ ଦେଇଥିଲେ ।ଏହି ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶୁଭେଚ୍ଛା ଜଣାଇ କହିଛନ୍ତି ଯେ, ଜନଜାତିମାନେ ଆମର ଗର୍ବ ଓ ଗୌରବ । ଜନଜାତିମାନଙ୍କ ଉନ୍ନତି ଓ କଲ୍ୟାଣ ତଥା ସେମାନଙ୍କ ସଂସ୍କୃତିର ସୁରକ୍ଷା ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦର ଗଠନ କରାଯାଇଛି । ଜନଜାତି ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କୁ ଆଦିବାସୀ ସଂସ୍କୃତି ସହ ପରିଚିତ କରିବା ପାଇଁ ଭାଷା ଲ୍ୟାବ ପ୍ରତିଷ୍ଠା ପାଇଁ ପଦକ୍ଷେପ ନିଆଯାଇଛି । ଜାତୀୟସ୍ତରରେ ଜନଜାତିଙ୍କ କଳାକୁ ସ୍ବତନ୍ତ୍ର ପରିଚୟ ମିଳିପାରିଛି । ଆମ ରାଜ୍ୟରେ ଆଦିବାସୀ ମେଳା ଖୁବ୍ ଲୋକପ୍ରିୟ କାର୍ଯ୍ୟକ୍ରମ । ଏହା ଜନଜାତିଙ୍କ ସାମଗ୍ରୀ ପାଇଁ ବଜାର ସୃଷ୍ଟିର ଏକ ଭିନ୍ନ ପ୍ରୟାସ। ଚଳିତ ବର୍ଷ ମେଳାରେ ୧୦୯ ଟି ଷ୍ଟଲ ସ୍ଥାନ ପାଇଥିବା ବେଳେ ଉଦଘାଟନୀ ସନ୍ଧ୍ୟାରେ ସ୍ବତନ୍ତ୍ର ଜର୍ଣ୍ଣାଲ୍ “ଆଦିବାସୀ”ର ୬୩ତମ ସଂସ୍କରଣ ଉନ୍ମୋଚନ କରାଯାଇଛି । ଏହାସହ ୧୦ ଜଣ ବିଭିନ୍ନ ସମ୍ପ୍ରଦାୟର ଜନଜାତିଙ୍କୁ ଆଦିବାସୀ ପ୍ରତିଭା ସମ୍ମାନ ପ୍ରଦାନ କରାଯାଇଛି ।: ତେବେ ଏହି ମେଳା ଫେବୃଆରୀ ୫ ତାରିଖ ପର୍ଯ୍ୟନ୍ତ ଚାଲୁ ରହିବ । ପ୍ରତ୍ୟହ ଅପରାହ୍ନ ୨ ଟା ୩୦ ରୁ ରାତି ୯ ଟା ପର୍ଯ୍ୟନ୍ତ ଦର୍ଶକମାନେ ଏହି ମେଳାର ମଜା ଉଠାଇ ପାରିବେ ।